ଶ୍ରୀମନ୍ଦିରରେ ଦେବ ଦୀପାବଳୀର ଦ୍ୱିତୀୟ ଦିବସ
ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥ ମନୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି । ଏହି ଦିନମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳୀ କୁହାଯାଏ । ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ଶ୍ରାଦ୍ଧବେଶରେ ନାଗପୁରୀ ଶାଢ଼ି ଚାଦରରେ ଭୂଷିତ କରାଇଥାନ୍ତି । ଏହି ସମୟରେ ଶ୍ରୀବିଗ୍ରହମାନଙ୍କୁ ଶ୍ରାଦ୍ଧ ବେଶରେ ସଜ୍ଜିତ କରାଯାଏ । ଏଥିରେ ଠାକୁରମାନେ ଧଳା ବସ୍ତ୍ର ପରିଧାନ କରିଥାନ୍ତି । କିନ୍ତୁ, ପ୍ରତ୍ୟେକ ଠାକୁରଙ୍କ ଧଡ଼ି ଗୁଡିକ ଭିନ୍ନ ରଙ୍ଗର ହୋଇଥାଏ । ନିମ୍ନରେ ଠାକୁରମାନଙ୍କ ବସ୍ତ୍ରର ମାପ ଓ ଧଡ଼ି ରଙ୍ଗର ବର୍ଣ୍ଣନା ପ୍ରଦତ କରାଗଲା । ଶ୍ରୀଜଗନ୍ନାଥ : ସୂତାଶାଢ଼ି (ନାଗପୁରୀ ଶାଢ଼ି) ଲମ୍ବା ୧୬ ହାତ କିମ୍ବା ୧୮ ହାତ, ଧଡ଼ି ଓସାର ଏକ ଫୁଟ ଅଟେ । ଉକ୍ତ ବସ୍ତ୍ରରେ କୁମ୍ଭ ଥାଇ ଧଡ଼ିର ବର୍ଣ୍ଣ ହେଉଛି ନାଲି । ଶ୍ରୀବଳଭଦ୍ର: ଲମ୍ବା ୧୪ ହାତ, ଓସାର ୪ ହାତ, ଧଡ଼ି ଓସାର ୧ ଫୁଟ, ଉକ୍ତ ବସ୍ତ୍ରର ଧଡ଼ି ବର୍ଣ୍ଣ ହେଉଛି କଳା । ମା ସୁଭଦ୍ରା : ଲମ୍ବା ୧୨ ହାତ , ଓସାର ସାଢେ ୩ ଫୁଟ, ଧଡ଼ି ଓସାର ଏକ ଫୁଟ, ଉକ୍ତ ବସ୍ତ୍ର ଧଡ଼ି ବର୍ଣ୍ଣ ହେଉଛି ହଳଦିଆ । ଏତଦବ୍ୟତିତ ଶ୍ରୀବିଗ୍ରହମାନଙ୍କ କଳେବର ଗୋଟିଏ ଗୋଟିଏ ଚାଦରରେ ମଣ୍ଡନ ହୋଇଥାଏ । ଶିର ଦେଶରେ ଶ୍ରୀକପଡା ବସ୍ତ୍ର (ସୂତା ବସ୍ତ୍ର)ରେ ଆବୃତ କରାଯାଏ । ଚାଦରଟି ଶ୍ରୀଭୁଜରେ ପ୍ରସରି ଥାଏ । ଶ୍ରାଦ୍ଧବେଶରେ ବ୍ୟବହୃତ ହେଉଥିବା ବସ୍ତ୍ରକୁ କାଈ ଧଡ଼ିଆ (ନାଗପୁରୀ) ଲୁଗା କୁହାଯାଏ । ଶ୍ରାଦ୍ଧବେଶରେ ଠାକୁରମାନଙ୍କୁ ଲାଗି କରାଯାଉଥିବା ସ୍ୱର୍ଣ୍ଣ ଅଳଙ୍କାର ମଧ୍ୟରେ ତଡ଼ଗୀ, ନଳିଭୁଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳ, ଆଡ଼କାନି, ହରିଡା ମାଳି, ଅଂଟା କମରପଟି ପ୍ରଭୃତି ଅନ୍ୟତମ । ମହାପ୍ରଭୁଙ୍କର ଏହି ଶ୍ରାଦ୍ଧବେଶ ଦେଖିବାଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ବୃଦ୍ଧି ପାଇଛି । ପିତୃଶ୍ରାଦ୍ଧର ଦ୍ୱିତୀୟ ଦିବସରେ ଭକ୍ତମାନେ ପ୍ରଭୁଙ୍କ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଗଣଦୀପଦାନ କରିଥାନ୍ତି । ପିତୃଶ୍ରାଦ୍ଧର ତୃତୀୟ ଦିବସରେ ପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ, ଭୂଦେବୀ ଓ ଶ୍ରୀଦେବୀଙ୍କ ସହ ଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରନ୍ତି । ସେଠାରେ ବନ୍ଦାପନା ଭଳି କେତେକ ନୀତି ସମ୍ପାଦନ ହେବାପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରନ୍ତି ।
