ଦେଶରେ ଆଉ ୬୨,୪୮୦ କରୋନା ସଂକ୍ରମିତ ଚିହ୍ନଟ ଓ ୧,୫୮୭ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୬୨ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୫ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ନୂତନ ସଂକ୍ରମଣସଂଖ୍ୟା କମ୍ ରହିଛି। ସେହିପରି ୭୩ ଦିନ ପରେ ଆଜି ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୮ ଲକ୍ଷ ତଳକୁ ଥିବା ରେକର୍ଡ କରାଯାଇଛି।
ଶୁକ୍ରବାର ଗତ ୨୪ଘଣ୍ଟାରେ ୬୨ହଜାର ୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ହଜାର ୫୮୭ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୮୮ହଜାର ୯୭୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୭ଲକ୍ଷ ୬୨ହଜାର ୭୯୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୮୩ହଜାର ୪୯୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୮୫ଲକ୍ଷ ୮୦ହଜାର ୬୪୭ଜଣ ସୁସ୍ଥ ହୋଇଥିବା ବେଳେ ୭ଲକ୍ଷ ୯୮ହଜାର ୬୫୬ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
