ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୭ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୮୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬ ଜଣ ରହିଥିବା ବେଳେ ଅନୁଗୁଳ, କେନ୍ଦୁଝର ଜିଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲାରୁ ୬ଜଣ ରହିଥିବା ବେଳେ ପୁରୀ ଜିଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୁରଭଞ୍ଜ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୫୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୬୭,୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୩,୦୬୯ ଜଣ ସୁସ୍ଥ ହୋଇଥିବା ବେଳେ ୧୮,୯୧୪ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୫,୫୧୨ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
