ବଙ୍ଗୋପସାଗରରେ ଲଘୁଚାପ, ୫ ଦିନ ଯାଏଁ ପ୍ରବଳ ବର୍ଷିବ
ଭୁବନେଶ୍ୱର : ଉତର ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଏହା ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେବ । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ପ୍ରବଳ ବର୍ଷା ହେତୁ ତଳିଆ ଅଂଚଳରେ ପାଣି ପଶିଯିବା ସହ ଟ୍ରାଫିକ୍ ବ୍ୟବସ୍ଥା ବ୍ୟାଘାତ ହୋଇପାରେ । ଏଥିସହ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ମଙ୍ଗଳବାର ବରଗଡ, ଝାରସୁଗୁଡା , ସୁନ୍ଦରଗଡ଼, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ,ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୯ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର,ବରଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ସୋନପୁର, ବରଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
