ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୯ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୧୨୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩ଜଣ ଥିବାବେଳେ କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡି ଜିଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୮୦,୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୦,୩୮୬ ଜଣ ସୁସ୍ଥ ହୋଇଥିବା ବେଳେ ୧୪,୩୨୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୧୦୨ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
