ଘଡଘଡି ସହ ବର୍ଷା ନେଇ ୧୭ ଜିଲାକୁ ସତର୍କ ସୂଚନା
- ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବର୍ଷା ପରିମାଣ କମିବା ଯୋଗୁଁ ରାଜ୍ୟରେ ନିଅଣ୍ଟିଆ ବର୍ଷା ବୃଦ୍ଧି ପାଉଛି। ତେବେ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କହୁଛି, ମୌସୁମି ଦୁର୍ବଳ ରହିବା ସତ୍ତ୍ୱେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷାର ପରିମାଣ ବୃଦ୍ଧି ପାଇବ। ବୁଧବାର ଓ ଗୁରୁବାର ଅଧିକ ବଜ୍ରପାତ ସମ୍ଭାବନା ଥିବାବେଳେ ଶୁକ୍ରବାର ଓ ଶନିବାର ଏହା ହ୍ରାସ ପାଇବ।
ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଏବଂ ରାୟଗଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଘଟିବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍ ଆୟୁକ୍ତ ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତଙ୍କୁ ପରାମର୍ଶ ଦେଇଛନ୍ତି। ସୂଚନା ଯେ, ଅଗଷ୍ଟ ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ ରୁ ୧୩ ତାରିଖ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
