ଦେଶରେ ଆଉ ୨୫,୦୭୨ କରୋନା ସଂକ୍ରମିତ ଚିହ୍ନଟ ଓ ୩୮୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୪ ଶହରୁ କମ୍ ରହିଛି। ଏହା ହେଉଛି ଗତ ୧୬୦ ଦିନ ମଧ୍ୟରେ ରେକର୍ଡ କରାଯାଇଥିବା ନୂତନ ସଂକ୍ରମିତଙ୍କ ସଂଖ୍ୟା ଠାରୁ ସର୍ବନିମ୍ନ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୫୮,୨୫,୪୯,୫୯୫ଜଣଙ୍କୁ ଟିକା ଦିଆଯାଇଛି। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୨ ତାରିଖ ସୁଦ୍ଧା ସମୁଦାୟ ୫୦,୭୫,୫୧,୩୯୯ ନମୁନା ପରୀକ୍ଷା ସରିଛି।
ସୋମବାର ଗତ ୨୪ଘଣ୍ଟାରେ ୨୫ହଜାର ୦୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୪ହଜାର ୧୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୪ଲକ୍ଷ ୪୯ହଜାର ୩୦୬ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୪ହଜାର ୭୫୬ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୬ଲକ୍ଷ ୮୦ହଜାର ୬୨୬ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୩୩ହଜାର ୯୨୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
