ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଉତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତରପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି । ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ- ଉତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୭ ତାରିଖ ଠାରୁ ୮ ତାରିଖ ମଧ୍ୟରେ ନୂଆପଡା, ନବରଙ୍ଗପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଉତର ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶା- ଉତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଲଘୁଚାପ ପ୍ରଭାବରେ, ବଙ୍ଗୋପସାଗରର ଉତର ଉପକୂଳରେ ଘଂଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଂଟା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।
