ଦେଶରେ ଆଉ ୨୬,୯୬୪ କରୋନା ସଂକ୍ରମିତ ଚିହ୍ନଟ ଓ ୩୮୩ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ଅଧିକ ରହିଛି ।.ଦେଶରେ ଦୈନିକ ସଂକ୍ରମଣ ହାର ୧.୬୯% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୮% ରହିଛି। ଏଥିସହିତ ଆରୋଗ୍ୟ ହାର ୯୭.୭୭% ରହିଥିବା ଜଣାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୨,୬୫,୧୫,୭୫୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୨୧ ତାରିଖ ସୁଦ୍ଧା ସମୁଦାୟ ୫୫,୬୭,୫୪,୨୮୨ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୯୨,୩୯୫ଟି ନମୁନା।
ବୁଧବାର ଗତ ୨୪ଘଣ୍ଟାରେ ୨୬ହଜାର ୯୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୮୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୪ହଜାର ୧୬୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୫ଲକ୍ଷ ୩୧ହଜାର ୪୯୮କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୫ହଜାର ୭୬୮ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୭ଲକ୍ଷ ୮୩ହଜାର ୭୪୧ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୦୧ହଜାର ୯୮୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୧,୮୫,୧୩,୮୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୧୮୬ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା।
