ଦେଶରେ ଆଉ ୧୮,୮୩୩ କରୋନା ସଂକ୍ରମିତ ଚିହ୍ନଟ ଓ ୨୭୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।
ରବିବାର ଗତ ୨୪ଘଣ୍ଟାରେ ୧୮ହଜାର ୮୩୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨୪ହଜାର ୭୭୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୮ଲକ୍ଷ ୭୧ହଜାର ୮୮୧କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୯ହଜାର ୫୩୮ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୧ଲକ୍ଷ ୭୫ହଜାର ୬୫୬ଜଣ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୪୬ହଜାର ୬୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ବିଗତ ୨୦୩ ଦିନ ପରେ ଏହା ହେଉଛି ଦେଶରେ ସର୍ବନିମ୍ନ ସକ୍ରିୟ ସଂକ୍ରମଣ ସଂଖ୍ୟା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୨,୧୭,୬୫,୪୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୯,୪୮,୩୬୦ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୫ ତାରିଖ ସୁଦ୍ଧା ସମୁଦାୟ ୫୭,୬୮,୦୩,୮୬୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୦୯,୮୨୫ଟି ନମୁନା।
