ଲଘୁଚାପ ସମ୍ଭାବନା : ୫ ଜିଲାରେ କାଳବୈଶାଖୀ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଉତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ବର୍ତମାନ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି । ଏହାର ପ୍ରଭାବରେ, ଆସନ୍ତା୪୮ ଘଂଟା ମଧ୍ୟରେ ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଧିକ ହୋଇଛି ।ଏହାର ୪ରୁ ୫ ଦିନ ମଧ୍ୟରେ ଏହା ଅଧିକ ଚିହ୍ନିତ ଏବଂ ଘନୀଭୂତ ହୋଇ ପଶ୍ଚିମ- ଉତରପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ଏହାର ପ୍ରଭାବରେ ଏବେ ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଛି। ଏହି ଟ୍ରଫ୍ ଲାଇନ୍ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟାଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲା ଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
