ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ଆଜି ଠାରୁ ୩ ଦିନ ବର୍ଷା
ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୨୮ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୯ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାରେ ବର୍ଷା ହେବାର ଆଶଙ୍କା କରାଯାଉଛି। ୩୦ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।
