କୁଚିଣ୍ଡାରେ ସ୍ମାର୍ଟ ହେଲ୍ଥ୍ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
- ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ଜରୁରୀ ଚିକିତ୍ସା ପାଇଁ ୧୪୭ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ସମ୍ବଲପୁର ଜିଲ୍ଲାର କୁଚିଣ୍ଡାଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ୍ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏଥିରୁ ଉପକୃତ ହେବେ । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହାସହିତ ମୁଖ୍ୟମନ୍ତ୍ରୀ ସମ୍ବଲପୁର ଜିଲ୍ଲାରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ସେଥିରୁୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟିତ ହୋଇଥିଲା । ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ୍ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି । ତେଣୁ ଏ ପୀଠର ବିକାଶ ପାଇଁ ସରକାରଙ୍କ ଉଦ୍ୟମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍ଥ କାର୍ଡ ଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହି ଅବସରରେ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଂଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଂଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଂଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ । ମୁଖ୍ୟମନ୍ତ୍ରୀ ଆଜି ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଆରମ୍ଭ କରିଥିଲେ ଏବଂ ଏଥିରୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିଲା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ୱ ଦେଉଛନ୍ତି । ଆଜି ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଂଚିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୁଚିଣ୍ଡା ଓ ରେଢାଖୋଲ ଏନ୍.ଏ.ସି.ର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ , ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ , ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇଥିଲେ ।
