ପୁରୀ ଜିଲା ପାଇଁ କାଳିଆ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ୧,୬୫,୧୩୧ ଚାଷୀ ପାଇବେ ୩୩କୋଟି ଟଙ୍କାର ସହାୟତା
ଭୁବନେଶ୍ୱର : ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ସହାୟତା ପାଇବେ । ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।
ସୂଚନା ଯେ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଂଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ôଥକ ସୁବିଧା ପାଇପାରୁଛନ୍ତି । ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି । ଚାଷମାନଙ୍କ ଋଣ ଭାର କମ୍ କରିବାରେ ମଧ୍ୟ ଏହା ବିଶେଷ ସହାୟକ ସାବ୍ୟସ୍ତ ହୋଇ ପାରିଛି ।
