କମୁଛି ସଂକ୍ରମଣ, ମୃତ୍ୟୁରେ ଲାଗୁନି ବ୍ରେକ୍ : ଦେଶରେ ଆଉ ୧୦,୪୮୮ କରୋନା ସଂକ୍ରମିତ ଓ ୩୧୩ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରୁ ୨୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ କରୋନା ସଂକ୍ରମଣ ୧୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦ରୁ ସାମାନ୍ୟ ଅଧିକ ଅଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ରବିବାର ଗତ ୨୪ଘଣ୍ଟାରେ ୧୦ହଜାର ୪୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୩ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୨ହଜାର ୩୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୫ଲକ୍ଷ ୧୦ହଜାର ୪୧୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୬୫ହଜାର ୬୬୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୯ଲକ୍ଷ ୨୨ହଜାର ୦୩୭ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୨୨ହଜାର ୭୧୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୧୬,୫୦,୫୫,୨୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ସେହିପରି ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୧୬,୪୯,୩୭୮ଟି ନମୁନା ପରୀକ୍ଷା କରାଯାଇଛି। ଶନିବାର ପରୀକ୍ଷା କରାଯାଇଛି ୧୦,୭୪,୦୯୯ଟି ନମୁନା।
