ଦେଶରେ ଆଉ ୬,୫୬୩ କରୋନା ସଂକ୍ରମିତ ଚିହ୍ନଟ ଓ ୧୩୨ ମୃତ
ନୂଆଦିଲ୍ଲୀ : ଦେଶରେ ଲଗାତର କୋରୋନା ଭୂତାଣୁ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ସେପଟେ ନୂଆ କୋରୋନା ଭାରିଆଣ୍ଟ ଓମିକ୍ରନ ସାରା ଦେଶରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୫୬୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩୨ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୦୭୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୬୪୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୯୯୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୧୭ ହଜାର ୫୮୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୧୧ ଜଣ ଓ ପୁରୁଣା ରେକର୍ଡ ଅନୁସାରେ ୮୫ ସଂକ୍ରମିତ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୪,୪୦୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୧୬୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୪୧,୭୭୯ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୦,୬୩୯ କୋରୋନାର ସକ୍ରିୟ ମାମଲା ରହିଛି । ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୭ ଲକ୍ଷ ୪୬ ହଜାର ୮୩୮ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେହିପରି ୩ କୋଟି ୪୧ ଲକ୍ଷ ୮୭ ହଜାର ୧୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮୨ ହଜାର ୨୬୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୭ ହଜାର ୫୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୧୯ ପର୍ଯ୍ୟନ୍ତ ସାରା ଦେଶରେ ୧୩୭ କୋଟି ୬୭ ଲକ୍ଷ ୨୦ ହଜାର ୩୫୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ଲକ୍ଷ ୮୨ ହଜାର ୦୭୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୬ କୋଟି ୫୧ ଲକ୍ଷ ୧୨ ହଜାର ୫୮୦ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮ ଲକ୍ଷ ୭୭ ହଜାର ୦୫୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
