ଆଜି ୧୪ ଜିଲାରେ କାଳବୈଶାଖୀ ସହ ୪ ଜିଲାରେ ଗୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ଆଗାମୀ ୩ ଦିନ ଯାଏଁ ପଶ୍ଚିମ ଓଡ଼ିଶାର କିଛି ଜିଲାରେ ଗ୍ରୀଷ୍ମ-ପ୍ରବାହ ଲାଗି ରହିବ ଏବଂ ଉପକୂଳରେ ଗୁଳୁଗୁଳି ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଜି ଉପକୂଳ ଓଡ଼ିଶାର ୧୪ଟି ଜିଲାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୪ ଜିଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ । ଅପରପକ୍ଷରେ ଏହି ସବୁ ଜିଲାର ଜିଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ସମ୍ବଲପୁର, କୋରାପୁଟ, ମାଲକାନାଗିରି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ବରଗଡ, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ର ପ୍ରଭାବ ଦେଖାଦେବ । ତେଣୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ଧରଣର ପରିବର୍ତନ ହେବାର ସମ୍ଭାବନା ନାହିଁ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ।
