ଓଡ଼ିଶା ଗସ୍ତରେ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡାକ୍ତର ଭାରତୀ ପ୍ରବୀଣ ପୱାର
ଭୁବନେଶ୍ୱର : କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡାକ୍ତର ଭାରତୀ ପ୍ରବୀଣ ପୱାର ଆଜି ଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶୁକ୍ରବାର ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ଓଡ଼ିଶାରେ ପହଂଚିବା ପରେ ଶନିବାର ସେ ଭୁବନେଶ୍ୱର ସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମଆର)-ଆଞ୍ଚଳିକ ଆୟୁର୍ବିଜ୍ଞାନ ଗବେଷଣା କେନ୍ଦ୍ର (ଆରଏମଆରସି) ଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବେ । ରବିବାର ଦିନ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ପରିଦର୍ଶନ କରି ସ୍ୱାସ୍ଥ୍ୟସେବା ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ ଶନିବାର ଅପରାହ୍ନରେ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହି ଦିନ ସେ ଭୁବନେଶ୍ୱର ଠାରେ ସ୍ୱାସ୍ଥ୍ୟ ସଂକ୍ରାନ୍ତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ଜନ ପ୍ରତିନିଧିମାନଙ୍କ ସହିତ ମତ ବିନିମୟ କରିବେ ।
