ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ପତ୍ନୀ, ଡିଏଫଓ ଓ ରୋଷେୟାଙ୍କୁ ସମନ
ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିର ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଦଫାରେ ବିଚାର ହେବ। ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନକୁ ଗ୍ରହଣ କରି ପାରଳାଖେମୁଣ୍ଡି ଏସଡିଜେଏମ ଏହି ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଆସନ୍ତା ୨୭ ତାରିଖରେ ହାଜର ହେବାକୁ ସମନ କରାଯାଇଛି।
ଆବେଦନକାରୀଙ୍କ ଆବେଦନ, ରେକର୍ଡ କରାଯାଇଥିବା ବୟାନ ଏବଂ ଅନ୍ୟାନ୍ୟ ଦଲିଲ ଦସ୍ତାବିଜକୁ ତର୍ଜମା କରି କୋର୍ଟ କହିଛନ୍ତି ଯେ ହତ୍ୟା ଏବଂ ଅପରାଧିକ ଷଡ଼ଯନ୍ତ୍ର ରଚିବା ଅଭିଯୋଗ ବିଚାରଯୋଗ୍ୟ । ତଥ୍ୟ ରହିଛି ତେଣୁ ଏହି ଆଧାରରେ ସମସ୍ତ ଅଭିଯୁକ୍ତଙ୍କୁ ହାଜର ପାଇଁ ସମନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ସୂଚନା ଯେ, ନିଆଁରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା। ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ିଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।
