ଦେଶରେ ଆଉ ୧,୦୯୬ କରୋନା ସଂକ୍ରମିତ ଓ ୮୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗିଛି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଢ଼ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ଶହ ତଳକୁ ରହିଛି ମୃତ୍ୟୁ ସଂଖ୍ୟା ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୯୬ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୮୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୯୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୮,୧୩୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୮୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୩୪୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୪୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୩,୭୭୩। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୦୧୩।
ସେହିପରି ଗତ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୪,୬୬,୮୬,୨୬୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୯,୦୭,୬୪,୮୮୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୬୫,୯୦୪ଟି ନମୁନା।
