୨୦ ବେଳକୁ ଆଉ ଏକ ଲଘୁଚାପ, ରାଜ୍ୟରେ ୧୮ରୁ ପୁଣି ବର୍ଷା
୨୪ ଘଣ୍ଟା ମଧ୍ୟରେ ୧୨ଜିଲାକୁ କାଳବୈଶାଖୀ ପାଇଁ ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ୱର : ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏହି ମାସ ୧୮ ତାରିଖରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୮ତାରିଖରେ ଦକ୍ଷିଣ ଓଡ଼ିଶା ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟୁଇଟ କରି ସୂଚନା ଦେଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ପ୍ରଭୃତି ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା କିମ୍ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୨ଟି ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି। ସେହିପରି କଟକ ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
