ଆସନ୍ତାକାଲି ଠାରୁ ପୁଣି ପ୍ରବଳ ବର୍ଷା ସମ୍ଭାବନା !
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଗୋଟିଏ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ସାରା ଓଡ଼ିଶାକୁ ବୁଡ଼େଇବା ପରେ ଏବେ ବଂଗୋପସାଗରରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିଲାଣି। ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ୱର ନିକଟରେ ରହିବ। ଏହା ବର୍ତ୍ତମାନର ଲଘୁଚାପ ବଳୟ ଓ ମୌସୁମୀ ଟ୍ରଫ୍ର ପୂର୍ବ ଭାଗରେ ମିଶିବା ପରେ ସୁନ୍ଦରଗଡ଼ ଦେଇ ମଧ୍ୟପ୍ରଦେଶ ଆଡ଼କୁ ମୁହାଁଇବ। ତେବେ ଏହାର ପ୍ରଭାବ ୧୮ତାରିଖରୁ ଦେଖାଯିବା ଆରମ୍ଭ ହେବ।
ଆସନ୍ତା ୧୮-୨୧ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ ବ୍ୟତୀତ ୧୯ରୁ ୨୦ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବଲଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଆଦି ରହିଛି।
