୧୪ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହେବାପରେ ଦୁର୍ବଳ ହୋଇଯାଇଛି । ଆଜିଠୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ । ତେବେ ମୌସୁମୀ ସକ୍ରିୟ ରହିଥିବା ଯୋଗୁ ରାଜ୍ୟରେ ଦୁଇ ଦିନ ଯାଏଁ କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଅନ୍ୟପକ୍ଷରେ ଆସନ୍ତା ୧୮ତାରିଖ ବେଳକୁ ଉତର ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ,କେନ୍ଦ୍ରପଡ଼ା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୪ ରୁ ୧୫ ତାରିଖ ମଧ୍ୟରେ ମୟୁରଭଂଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ , କନ୍ଧମାଳ, ନୟାଗଡ, କଟକ ଓ ଗଂଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବର୍ତମାନ ସୁଦ୍ଧା ଚଳିତ ମୌସୁମି ଋତୁରେ ୧୦୮୪.୩ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ ୫ ପ୍ରତିଶତ ଅଧିକ ବୋଲି ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି ।
