ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ହେବ
ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଉପସ୍ଥିତ ରହିବେ
ଭୁବନେଶ୍ୱର: ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି .ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।
ସୂଚନା ଯେ, ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଓଡ଼ିଶା ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି । ତାଙ୍କର ନିରବଚ୍ଛିନ୍ନ ସଙ୍ଗୀତ ସାଧନା ପାଇଁ ସେ ପଦ୍ମଶ୍ରୀ ସମ୍ମାନ ସହିତ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ସେ ପୁରୀରେ ୧୯୩୯ ମସିହା ଫେବୃଆରୀ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ମୃତ୍ୟୁ ଖବର ଶୁଣି ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।
