କମ୍ ସଂକ୍ରମଣ ଥିବା ଜିଲାରେ ଅନ୍ଲକ୍ ପ୍ରକ୍ରିୟା ଉପରେ ସରକାର ବିଚାର କରୁଛନ୍ତି : ମୁଖ୍ୟମନ୍ତ୍ରୀ
- ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା
- ଶିଶୁ ମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
- ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର କର, ଦୈନିକ ଟିକାଦାନକୁ ୩ ଲକ୍ଷକୁ ବୃଦ୍ଧି କର
- ତାଲିମ ନେବେ ୧୧୧୪ ଡାକ୍ତର
ଭୁବନେଶ୍ୱର : କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପିଲାମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତୃତୀୟ ଲହର ପାଇଁ ଗଠିତ ଟେକ୍ନିକାଲ ଟାସ୍କ ଫୋର୍ସ କମିଟି ର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ସହ ବର୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ପ୍ରକାଶ କରିଥିଲେ ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଥିଲେ । ତଥାପି କେତେକ ଜିଲ୍ଲାରେ ପଜିଟିଭିଟ୍ ରେଟ୍ ଅଧିକ ଥିବାରୁ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ବର୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ୱିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ । ତାସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିପାଇଁ କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ସେ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ମଧ୍ୟ ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍ବେଗ ପ୍ରକାଶ କରିବା ସହିତ ସେଥିପାଇଁ ଆବଶ୍ୟକ ଔଷଧ ମହଜୁଦ ରଖିବା ଏବଂ ଆବଶ୍ୟକ ସ୍ଥଳେ ଜରୁରୀ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅକ୍ସିଜେନ ଯୋଗାଣ ସନ୍ତୋଷଜନକ ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ସିଲିଣ୍ଡର ଉପଲବ୍ଧତାରେ ଉନ୍ନତି ଘଟିଛି ବୋଲି କହିଥିଲେ । ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ ହାର କମୁଛି, ସେଠାରେ ପର୍ଯ୍ୟାୟକ୍ରମେ ଅନ୍-ଲକ୍ ପ୍ରକ୍ରିୟା ଆରମ୍ଭ କରିବା ବିଷୟ ସରକାରଙ୍କ ବିଚରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ରାଜ୍ୟରେ ପିଜିଟିଭିଟି ହାର କମି ଥିବାରୁ ଆଇସିୟୁ ଓ ଅକ୍ସିଜେନ ସଂଯୁକ୍ତ ବେଡ୍ ଉପରେ ଚାପ ହ୍ରାସ ପାଇଛି । ଖୁବଶୀଘ୍ର ସଂକ୍ରମଣ ୫ ପ୍ରତିଶତକୁ ହ୍ରାସ ପାଇବ ବୋଲି ସେ ଆଶାପ୍ରକାଶ କରିଥିଲେ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ପି.କେ ମହାପାତ୍ର କହିଥିଲେ ରାଜ୍ୟରେ ବର୍ତମାନ ୮୬ ପ୍ରତିଶତ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଥିବା ବେଳେ ଡାକ୍ତରଖାନାରେ ୬୮ ପ୍ରତିଶତ ବେଡ ଖାଲି ରହିଛି । ରାଜ୍ୟରେ ଅକ୍ସିଜେନ ଯୋଗାଣ ଠାରୁ ଆରମ୍ଭ କରି ସମସ୍ତ ଆବଶ୍ୟକ ଔଷଧ ପର୍ଯ୍ୟାପ୍ତ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ । ଏହାସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ ଆଇସୋଲେସନ୍ ବେଡ୍ , ୬୧୦ ଆଇସିୟୁ ବେଡ୍ ପ୍ରସ୍ତୁତ ରଖାଯାଇଛି ବୋଲି ଶ୍ରୀ ମହାପାତ୍ର ପ୍ରକାଶ କରିଥିଲେ । ଏହାସହିତ ଜୁନ୍ ମଧ୍ୟ ଭାଗରୁ ଗଞ୍ଜାମ, କୋରାପୁଟ ଓ ରାୟଗଡା ଜିଲ୍ଲାରେ ଚତୁର୍ଥ ସେରୋ ସର୍ଭେ ଆରମ୍ଭ କରାଯିବ ଏବଂ ଏଥିରେ ପିଲାମାନଙ୍କ ବିଷୟରେ ବିଶେଷ ତଥ୍ୟ ସଂଗ୍ରହ କରାଯିବ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବର୍ତମାନ ଅଧିକ ସଂକ୍ରମଣ ହାର ଥିବା ରାୟଗଡା, ଯାଜପୁର, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ତଥା ଭୁବନେଶ୍ୱର ଓ କଟକ ମୁନିସ୍ପାଲ କମିଶନର ମାନଙ୍କ ସହିତ ସ୍ଥାନୀୟ ପରିସ୍ଥିତି ସଂପର୍କରେ ପଚାରି ବୁଝିଥିଲେ । ବର୍ତମାନ ସୁଦ୍ଧା ରାଜ୍ୟରେ ୮୩ ଲକ୍ଷ ୬୨ ହଜାର ୧୦୫ ଡୋଜ୍ ଟିକା ଦିଆଯାଇଛି ଏବଂ ଟିକାକରଣ କ୍ଷେତ୍ରରେ ଭୁବନେଶ୍ୱର ସବୁଠାରୁ ଆଗରେ ରହିଛି ବୋଲି ଜଣାଯାଇଛି । ଜୁଲାଇ ୧୫ ସୁଦ୍ଧା ଭୁବନେଶ୍ୱରରେ ୪୫ ବର୍ଷରୁ ଉର୍ଦ୍ଧ୍ୱ ସବୁ ଲୋକଙ୍କର ଦୁଇଟି ଡୋଜ ଟିକାକରଣ ହେବା ସହିତ ୧୮ ରୁ ୪୪ ବର୍ଷ ସମସ୍ତଙ୍କ ପ୍ରଥମ ଡୋଜ ସଂପୂର୍ଣ୍ଣ ହୋଇଯିବ ।ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଏସ୍.ପି ମାନେ ଯୋଗ ଦେଇଥିଲେ ।
