ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସମୀକ୍ଷା : ଅଧିକ ସତର୍କତା ଆମକୁ ସୁରକ୍ଷିତ ରଖିବ
ଭୁବନେଶ୍ୱର : ରାଜ୍ୟରେ କୋଭିଡ୍ ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି। ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ସନ୍ତୋଷଜନକ ନୁହେଁ। ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ। ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାହାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ବିଶେଷଜ୍ଞମାନଙ୍କର ମତକୁ ଆଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ଵାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା। ସ୍ଵାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ଵାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ଵ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ଵାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେଣୁ ଜିଲ୍ଲା ହସ୍ପିଟାଲ ଠାରୁ ଆରମ୍ଭ କରି ସିଏଚସି ସ୍ତର ପର୍ଯ୍ୟନ୍ତ ଯେଭଳି ସ୍ଵାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍.ଡି.ପି.ଓ, ସବ୍କଲେକ୍ଟର, ଏସ୍.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ଵର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହୁଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ବାରୋପ କରିଥିଲେ। ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପି.କେ. ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ୫ ଟି ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବୈଠକରେ ପୋଲିସ ମହାନିର୍ଦ୍ଦେଶକ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ, ଜିଲ୍ଲାପାଳ, ଏସ୍.ପି ପ୍ରମୁଖ ଉପସ୍ଥିତ ଥିଲେ ।
