କମୁଛି କରୋନା ଗ୍ରାଫ୍! ଦେଶରେ ଆଉ ୧,୯୩୮ ସଂକ୍ରମିତ ଓ ୬୭ ମୃତ
ନୂଆଦିଲ୍ଲୀ : ଦେଶରେ କମୁଛି ସଂକ୍ରମଣ । ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍ । ୪ ଲକ୍ଷର ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାରରୁ କମ୍ ରହିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାରରୁ କମ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦୦ ତଳକୁ ଖସିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୯୩୮ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୬୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୧୪,୬୮୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୬୭୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୫୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୭୫,୫୮୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨୪୨୭।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୨,୨୩,୩୦,୩୫୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୪୯,୫୨,୮୦୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୬୧,୯୫୪ଟି ନମୁନା।
