ବିଧାନସଭାର ଶୀତ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି
୩୦ ପ୍ଲାଟୁନ ଫୋର୍ସ ମୁତୟନ, ବିଧାନସଭା ଆଡକୁ ଯାଇଥିବା ସମସ୍ତ ରାସ୍ତାରେ କଟକଣା
ଭୁବନେଶ୍ୱର : ବିଧାନସଭାର ଶୀତକାଳୀନ ଅଧିବେଶନ ବୁଧବାର ଠାରୁ ଆରମ୍ଭ ହେଉଥିବା ବେଳେ ଏହାର ଦିନକ ପୂର୍ବରୁ ରାଜ୍ୟ ପୋଲିସ ମହାନିର୍ଦେଶକ ବରିଷ୍ଠ ଅଧିକାରୀ ମାନଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ମଙ୍ଗଳବାର ଦିନ ପୁଲିସ ଡିଜି ଅଭୟ କଟକ – ଭୁବନେଶ୍ୱର ଟ୍ୱିଟ ସିଟିର ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଗୁଇନ୍ଦା ନିର୍ଦ୍ଦେଶକ, ଆଇଜି ଅପରେସନ୍ ଓ ଡିସିପିଙ୍କ ସହ ମିଶି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି । ଏ ସମ୍ପର୍କରେ ସୂଚନା ଦେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି, କମିସନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି, ବିଧାନସଭାକୁ ଯାଉଥିବା ସମସ୍ତ ମାର୍ଗରେ କଟକଣା ଜାରି କରାଯାଇଛି ।
ମିଳିଥିବା ସୂଚନା ଅନୁସାରେ ବିଧାନସଭା ଅଧିବେଶନ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି । ହାଉସିଂ ବୋର୍ଡ ଛକପଟୁ ଆସୁଥିବା ଗାଡ଼ିଗୁଡ଼ିକ କେଶରୀ ଟକିଜ୍ ଠାରୁ ଆଗକୁ ନଯାଇ ବାମପଟ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ସେହିପରି ଏଜି ଛକପଟୁ ପିଏମ୍ଜି ଛକ ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବ ଭବନ ପାଖରେ ଅଟକି ଡାହାଣ ପଟରେ ଥିବା ଇନ୍ଦିରା ଗାନ୍ଧି ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ ବୋଲି କୁହା ଯାଇଛି ।
