ସୁନାବେଶର ମାହାତ୍ମ୍ୟ ଓ ରହସ୍ୟ?
ଶ୍ରୀମନ୍ଦିରରେ ୧୨ ମାସରେ ୧୩ ଯାତ ଭିତରେ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରୁ ସୁନାବେଶ ବା ରାଜରାଜେଶ୍ୱର ବେଶ ଅତ୍ୟନ୍ତ ରମଣୀୟ ଓ ଦୁର୍ଲଭ। ଇଏ ଏକମାତ୍ର ବେଶ ଯେଉଁଥିରେ ସ୍ପଷ୍ଟ ପରିସ୍ଫୁଟ ହୋଇଥାଏ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ ସାଙ୍ଗକୁ ପ୍ରାବଲ୍ୟ। ତେବେ କ’ଣ ଏହାର ମାହାତ୍ମ୍ୟ ଓ କ’ଣ ଏହା ପଛର ରହସ୍ୟ? କାହିଁକି ଓ କେଉଁ ଗଜପତିଙ୍କ ସମୟରୁ ଆରମ୍ଭ ହୋଇଥିଲା ଏ ଦିବ୍ୟ ଦୁର୍ଲଭ ବେଶ? ଜାଣିବାକୁ କାହାର ବା ଉତ୍କଣ୍ଠା ନଥିବ।
ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ । ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ । ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।
ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନା ବେଶ ଅନ୍ୟତମ, ଯାହାକି ଅତ୍ୟନ୍ତ ଉପଭୋଗ୍ୟ ଓ ଆକର୍ଷଣୀୟ । ମହାପ୍ରଭୁଙ୍କ ସକଳ ବେଶରେ ମାଧୁର୍ଯ୍ୟ ଲାବଣ୍ୟ ପ୍ରକଟିତ ହେଉଥିବା ସ୍ଥଳେ, କେବଳ ସୁନା ବେଶରେ ଐଶ୍ୱର୍ଯ୍ୟ ପ୍ରାବଲ୍ୟ ପରିସ୍ଫୁଟ ହୋଇଥାଏ। ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀବିଗ୍ରହମାନେ ବିଭିନ୍ନ ତିଥିରେ ଯଥା : କାର୍ତ୍ତିକ ପୂର୍ଣ୍ଣିମା, କୁମାର ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା, ଦଶହରା ପ୍ରଭୃତି ଦିବସମାନଙ୍କରେ ରାଜବେଶ, ରାଜା ରାଜେଶ୍ୱର ଇତ୍ୟାଦି ସୁନାବେଶରେ ସଜ୍ଜିତ ହେଉଥିଲେ ହେଁ ଶ୍ରୀଗୁଣ୍ଡିଚା ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟରେ ଅର୍ଥାତ ଆଷାଢ଼ ଶୁକ୍ଲ ଏକାଦଶୀ ଦିନ ସିଂହଦ୍ୱାରଠାରେ ଦଣ୍ଡାୟମାନ ଥିବା ତ୍ରିରଥ ଉପରେ ଆକର୍ଷଣୀୟ ସୁନାବେଶ ହୋଇ ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ ଦର୍ଶନ ଦେଇଥାନ୍ତି । ଏହି ସୁନାବେଶ ପ୍ରଚଳନର ଇତିହାସ ସମ୍ପର୍କରେ ଜଣାଯାଏ ଯେ, ଓଡ଼ିଆ ଜାତିର ପରମାରାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ର ଦେବତା ରୂପେ ସ୍ୱୀକାର କରି ଏ ରାଜ୍ୟର ରାଜା ମହାରାଜାମାନେ ସ୍ୱୟଂ ରାଉତ ବା ଆଦେଶ ବାହକ ରୂପେ ମହାପ୍ରଭୁଙ୍କ ସେବା ନିର୍ବାହ କରିଥିବା ପ୍ରମାଣ ଶିଳାଲେଖରୁ ମିଳୁଅଛି। ତୃତୀୟ ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଜଗନ୍ନାଥଙ୍କୁ ଉତ୍କଳର ପ୍ରକୃତ ରାଜା ଓ ନିଜକୁ ତାଙ୍କର ଜନୈକ ଅକିଞ୍ଚନ ସେବକ ଭାବେ ସର୍ବପ୍ରଥମେ ଘୋଷଣା କରିଥିଲେ। ପରେ ତାଙ୍କ ପୁତ୍ର ଭାବେ ଲାଙ୍ଗୁଳା ନରସିଂହ ଦେବ (୧୨୩୮- ୧୨୬୬) ମଧ୍ୟ ନିଜକୁ ପୁରୁଷୋତ୍ତମ ପୁତ୍ର ଭାବେ ଅଭିହିତ କରିଥିଲେ। ଭାନୁଦେବ ତୃତୀୟ (୧୩୦୮-୧୩୨୮) ଜଗନ୍ନାଥଙ୍କୁ ରାଜାଧିରାଜ ରୂପେ ସ୍ୱୀକାର କରି ମହାପ୍ରଭୁଙ୍କ ନାମରେ ଅଙ୍କ ଗଣନା ଆରମ୍ଭ କରିଥିଲେ । ସୂର୍ଯ୍ୟବଂଶୀ ରାଜା କପିଳେନ୍ଦ୍ର ଦେବ (୧୪୩୫-୧୪୬୬) ଜଗନ୍ନାଥଙ୍କୁ ଜାତୀୟ ଦେବତା ରୂପେ ପ୍ରଚାରିତ କରି ନିଜକୁ ତାଙ୍କର ସେବକ ଭାବେ ସ୍ୱୀକାର କରିଥିଲେ । ଏପରିକି ଅନଙ୍ଗଭୀନ ଦେବ ଓ ପୁରୁଷୋତ୍ତମ ଦେବ ଜଗନ୍ନାଥଙ୍କୁ ଓଡ଼ିଶାର ରାଜା ରୂପେ ମାନ୍ୟତା ପ୍ରଦାନ ପୂର୍ବକ ଉଭୟ ଦୁଇବର୍ଷ ଧରି ଅଭିଷେକ ହୋଇନଥିଲେ । କେତେକ ଗବେଷକଙ୍କ ମତରେ ରଥ ଉପରେ ଠାକୁରମାନଙ୍କ ଏହି ବେଶର ନାମ ବଡ଼ ବଢା଼ଉ ବେଶ । ବଡ଼ତଢାଉ ବେଶ ମତରେ କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ ı ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ପ୍ରତିବର୍ଷ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ସୁନା ବେଶ ଅନୁଷ୍ଠିତ ହୋଇଥାଏ। ଏହି ସୁନା ବେଶ ସାମଗ୍ରୀ ଭଣ୍ଡାର ଘରୁ ପାଳିଆ ମେକାପ, ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ, ପୋଲିସ, ମନ୍ଦିର ଅଧିକାରୀ ତଥା ଗାରଦ କର୍ମଚାରୀମାନଙ୍କ ସହାୟତାରେ ତିନି ରଥ ଉପରକୁ ଆସିଥାଏ। ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରଭୃତି ସେବକମାନେ ଉପସ୍ଥିତ ରହି ଶ୍ରୀବିଗ୍ରହମାନଙ୍କ ସୁନାବେଶ କରିଥାନ୍ତି।
ଇତିହାସ
ଶିଳାଲେଖରେ ଉଲ୍ଲେଖ ରହିଛି ରାଜା ଅନଙ୍ଗଭୀମ ଦେବ (୧୨୧୧-୧୨୩୮) ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରଦେବତାରୂପେ ଘୋଷଣା କରିଥିଲେ । ରାଜା ମହାରାଜା ମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ । କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣାକରି ରାଜଭିଷେକ ମଧ୍ୟ କରିଥିଲେ । କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ କରାଇଥିଲେ । ଅନ୍ୟ କେତେ ଗବେଷକଙ୍କ ମତରେ ରଥଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ । ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ବହୁବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହେଇଥିଲା । ଏବେ ଏଥିରେ କିଛି ପରିବର୍ତ୍ତନ ହେଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।
ଶ୍ରୀଜୀଉମାନଙ୍କ ଅଳଙ୍କାର
ଶ୍ରୀଜଗନ୍ନାଥ:-
କିରିଟ, ଶ୍ରୀପୟର, ଶ୍ରୀଭୁଜ, ସ୍ୱର୍ଣ୍ଣ ଚକ୍ର ଓ ରୌପ୍ୟ ଶଙ୍ଖ, ଓଢିଆଣୀ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ସେବତୀ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି
ଶ୍ରୀବଳଭଦ୍ର:-
କିରିଟ, ଶ୍ରୀପୟର, ଶ୍ରୀଭୁଜ, ହଳ ଓ ମୂଷଳ, ଓଢିଆଣୀ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡ଼ା ମାଳି, କଦମ୍ବ ମାଳି, ବାହାଡ଼ା ମାଳି, ବାଘନଖ ମାଳି, ସେବତୀ ମାଳି, ତିଳକ, ଚନ୍ଦ୍ରିକା, ଅଳକା, ଝୋବାକଣ୍ଠି, ତ୍ରିଖଣ୍ଡିକା, କମରପଟି
ଦେବୀସୁଭଦ୍ରା :-
କିରୀଟ, ଓଢ଼ିଆଣୀ, କାନ, ଚନ୍ଦ୍ରସୂର୍ଯ୍ୟ, ଘାଗଡ଼ା ମାଳି, କଦମ୍ବ ମାଳି, ସେବତୀ ମାଳି, ତଗଡ଼ି-୨ଟି
