ଶ୍ରୀମନ୍ଦିର ରୋଷଘରେ ଚୁଲିଭଙ୍ଗା ଘଟଣା ମୋତେ ଦୁଃଖିତ ଓ ବ୍ୟଥିତ କରିଛି : କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର : ଶ୍ରୀମନ୍ଦିର ରୋଷଘରେ ଚୁଲିଭଙ୍ଗା ଘଟଣାକୁ ନେଇ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା ମୋତେ ଦୁଃଖିତ ଓ ବ୍ୟଥିତ କରିଛି । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ । ଏହି ଘଟଣାର ପୁନରାବୃତ୍ତି ନହେବା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଓଡ଼ିଆ ଜାତିର ଅସ୍ମିତାର ପରିଚୟ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ସ୍ଥିତ ପବିତ୍ର ରୋଷଘର ଚୁଲି ଗୁଡ଼ିକ ଭାଙ୍ଗି ଦିଆଯିବା ଘଟଣା ଗଣମାଧ୍ୟମରୁ ଜାଣିବାକୁ ପାଇଲି । ଏହି ଖବର ମୋତେ ଦୁଃଖିତ ଓ ବ୍ୟଥିତ କରିଛି । ମହାପ୍ରଭୁ ଓଡ଼ିଶାବାସୀ ଏବଂ ସାରା ବିଶ୍ୱର ହିନ୍ଦୁ ସମାଜର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର ।
ଶ୍ରୀମନ୍ଦିର ସହ ମହାପ୍ରଭୁଙ୍କ ମହାପ୍ରସାଦର ରହିଛି ଅନନ୍ୟ ସମ୍ପର୍କ । ରୋଷଘରର ଅବଢ଼ା ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇ ମହାପ୍ରଭୁଙ୍କ ପ୍ରସାଦ ପ୍ରସ୍ତୁତିକୁ ବ୍ୟାଘାତ କରିବା ଦୁଃଖଦାୟକ। ମହାପ୍ରସାଦ ସହ ଓଡ଼ିଆଙ୍କ ଭାବାବେଗ ଜଡ଼ିତ । ମହାପ୍ରଭୁଙ୍କ ମହାପ୍ରସାଦ ଅମୃତ ତୁଲ୍ୟ । ମହାପ୍ରଭୁଙ୍କ ରୋଷଘର ସହ ମା’ ଲକ୍ଷ୍ମୀ ଓ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଜଡ଼ିତ ଥିବା ଓଡ଼ିଆ ଜନମାନସର ବିଶ୍ୱାସ । ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାକୁ ଗୁରୁତର ସହ ନେଇ ଭବିଷ୍ୟତରେ ଯେଭଳି ଏହି ଘଟଣାର ପୁନରାବୃତ୍ତି ନହେବ, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ସଜାଗ ରହିବା ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।
