ଲଘୁଚାପ କ୍ଷେତ୍ର ସୃଷ୍ଟି : ୨୪ଘଂଟାରେ ଘନୀଭୂତ ହୋଇ ଆଜି ସକାଳ ସୁଦ୍ଧା ଘଡଘଡ଼ି ସହ ବର୍ଷା
ଭୁବନେଶ୍ୱର : ଉତର-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ଘଂଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୯ ତାରିଖ ସକାଳ ସାଢ଼େ ୮ ଭିତରେ ଉତର ଓଡ଼ିଶାରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ତାରିଖରୁ ୩୦ ତାରିଖ ସକାଳ ସାଢ଼େ ୮ଟା ଭିତରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହାର ପ୍ରଭାବରେ ତଳିଆ ଅଂଚଳରେ ବର୍ଷା ପାଣି ଜମି ରହିବ । ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ଥର ବୃଦ୍ଧି ପାଇବାର ଆଶଙ୍କା ରହିଛି । ଏହି ସମୟ ମଧ୍ୟରେ ଦେବଗଡ଼, ଅନୁଗୋଳ, ଯାଜପୁର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ବ୍ୟତୀତ ୩୦ ତାରିଖ ସକାଳ ସାଢ଼େ ୮ଟାରୁ ଅକ୍ଟୋବର ୧ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଇଛି । ସେଥିପାଇଁ କୁ ୟେଲୋ ୱାର୍ଣ୍ଣିଂ ଜାରି କରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ।
