ଲଘୁଚାପ ସୃଷ୍ଟି, ରାଜ୍ୟରେ ୪୮ ଘଣ୍ଟା ପ୍ରବଳ ବର୍ଷିବ
- ଆଜି ୧୨ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର ସଂଧ୍ୟାରେ ଘୂର୍ଣ୍ଣିବଳୟଟି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷିବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଅନ୍ୟ କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ରାଜ୍ୟରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ବି ଆରମ୍ଭ ହୋଇଯାଇଛି। ଅନ୍ୟପଟେ ମୌସୁମୀ ଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶ ଉପରେ ରହିଥିବା ବେଳେ ଏହାର ପୂର୍ବଭାଗ ହର୍ଦୋଇ, ପାଟଣା, ଜମ୍ସେଦ୍ପୁର, ପାରାଦୀପ ମଧ୍ୟ ଦେଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଲମ୍ବିଛି। ପୁଣି ରାଜ୍ୟରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗର ଏହି ଦୁଇ ନିୟାମକ ପ୍ରଭାବରେ ରାଜ୍ୟର କିଛି କିଛି ଜିଲ୍ଲାରେ ଆଜି ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ସେହିପରି ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲାରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଅବଶିଷ୍ଟ ଜିଲାଗୁଡ଼ିକରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ମଧ୍ୟ କୁହାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ମଙ୍ଗଳବାର କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ କଟକ ଆଦି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଆଦି ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏଣୁ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ୧୮ ତାରିଖ ବୁଧବାର ଦିନ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
