ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଆଜି ୮ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ଆଜି ପ୍ରବଳ ତାତି ପାଇଁ ୮ଟି ଜିଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର । ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।
ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲାକୁ ହିଟ୍ ଆଲର୍ଟ ଜାରି ହୋଇଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲାରେ ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଠାରୁ ତାପମାତ୍ରା ୩ରୁ ୫ ଡିଗ୍ରୀ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଅନ୍ୟପକ୍ଷରେ ୧୬ ତାରିଖରେ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବା ସମ୍ଭାବନା ରହିଛି । ରାଜ୍ୟର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରୁ ରାଜ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେବ । ଏହାର ପ୍ରଭାବରେ ଉତ୍ତର ଉପକୂଳ ସହ ଖୋର୍ଦ୍ଧା,ନୟାଗଡା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।
