ଦେଶରେ ଆଉ ୧,୭୬୧ କୋଭିଡ୍ ସଂକ୍ରମିତ ଚିହ୍ନଟ ଓ ୧୨୭ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗିଛି ବ୍ରେକ୍ । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ଶହ ତଳକୁ ରହିଛି ମୃତ୍ୟୁ ସଂଖ୍ୟା । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।
ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୬୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୨୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୭,୮୪୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୨୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୪୭୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୧୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୬୫,୧୨୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୬୨୪୦। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୨୧,୧୧,୬୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୨୬,୬୦,୬୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୧,୯୭୩ଟି ନମୁନା।ମୃତ୍ୟୁ ସଂଖ୍ୟା ୧୨୭ ଛୁଇଁଛି ।
