ଦେଶରେ ଆଉ ୩୧,୨୨୨ କରୋନା ସଂକ୍ରମିତ ଚିହ୍ନଟ ଓ ୨୯୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୩୧ହଜାର ୨୨୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୨ହଜାର ୯୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୦ଲକ୍ଷ ୫୮ହଜାର ୮୪୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୧ହଜାର ୦୬୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୨ଲକ୍ଷ ୨୪ହଜାର ୯୩୭ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୯୨ହଜାର ୮୬୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୯,୯୦,୬୨,୭୭୬ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୫ତାରିଖ ସୁଦ୍ଧା ସମୁଦାୟ ୫୩,୩୧,୮୯,୩୪୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୬,୦୫୬ଟି ନମୁନା। ଦେଶରେ ଦୈନିକ ସଂକ୍ରମଣ ହାର ୨.୦୫% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୫୬% ରହିଛି। ସେହି ସମୟରେ ଆରୋଗ୍ୟ ହାର ୯୭.୪୮% ରହିଛି।
