ଦେଶରେ ଆଉ ୩୩,୩୭୬ କରୋନା ସଂକ୍ରମିତ ଚିହ୍ନଟ ଓ ୩୦୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩ ଶହରୁ ଅଧିକ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।
ଶନିବାର ଗତ ୨୪ଘଣ୍ଟାରେ ୩୩ହଜାର ୩୭୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୨ହଜାର ୧୯୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୨ଲକ୍ଷ ୦୮ହଜାର ୩୩୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୨ହଜାର ୩୧୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୩ଲକ୍ଷ ୭୪ହଜାର ୪୯୭ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୯୧ହଜାର ୫୧୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୩,୦୫,୮୯,୬୮୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୫,୨୭,୧୭୫ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୦ ତାରିଖ ସୁଦ୍ଧା ସମୁଦାୟ ୫୪,୦୧,୯୬,୯୮୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୯୨,୧୩୫ଟି ନମୁନା।
