ଦେଶରେ ଆଉ ୩୫,୬୬୨ କରୋନା ସଂକ୍ରମିତ ଚିହ୍ନଟ ଓ ୨୮୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ ରହିଛି। ଏହାସହ ୨୪ ଘଣ୍ଟା ମଧ୍ୟରେ ସବୁଠାରୁ ଅଧିକ ୨.୫ କୋଟି ରେକର୍ଡ ସଂଖ୍ୟକ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଶନିବାର ଗତ ୨୪ଘଣ୍ଟାରେ ୩୫ହଜାର ୬୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୩ହଜାର ୭୯୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୪ଲକ୍ଷ ୧୭ହଜାର ୩୯୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୪ହଜାର ୫୨୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୬ଲକ୍ଷ ୩୨ହଜାର ୨୨୨ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୪୦ହଜାର ୬୩୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
