ଦେଶରେ ଆଉ ୩୦,୨୫୬ କରୋନା ସଂକ୍ରମିତ ଚିହ୍ନଟ ଓ ୨୯୫ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। ଦୈନିକ ସଂକ୍ରମଣ ହାର ୨.୫% ଓ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଏଥିସହିତ ଆରୋଗ୍ୟ ହାର ୯୭.୭୨% ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ର ଅନୁଯାୟୀ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡିକ ନିକଟରେ ସଂପ୍ରତି ୫.୪୩ କୋଟି ପାନ ଟିକା ଉପଲବ୍ଧ ରହିଛି। ଆଉ ୧୫ ଲକ୍ଷ ପାନ ଟିକା ଖୁବଶୀଘ୍ର ଯୋଗାଇ ଦିଆଯିବ।
ସୋମବାର ଗତ ୨୪ଘଣ୍ଟାରେ ୩୦ହଜାର ୨୫୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୩ହଜାର ୯୩୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୪ଲକ୍ଷ ୭୮ହଜାର ୪୧୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୫ହଜାର ୧୩୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୭ଲକ୍ଷ ୧୫ହଜାର ୧୦୫ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୧୮ହଜାର ୧୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୦,୮୫,୬୮,୧୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୭,୭୮,୨୯୬ ଡୋଜ୍ ଟିକା। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୯ ତାରିଖ ସୁଦ୍ଧା ସମୁଦାୟ ୫୫,୩୬,୨୧,୭୬୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୭୭,୬୦୭ଟି ନମୁନା।
