ଦେଶରେ ଆଉ ୨୧,୨୫୭ କରୋନା ସଂକ୍ରମିତ ଚିହ୍ନଟ ଓ ୨୭୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ଦେଶରେ ଦୈନିକ ସଂକ୍ରମଣ ହାର ୧.୫୩% ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୬୪% ରହିଛି । ସେହିପରି ସଂକ୍ରମିତ ଚିହ୍ନଟ ହେବା ସଂଖ୍ୟା ସଂପ୍ରତି ୦.୭୧% ରହିଛି ।
ଶୁକ୍ରବାର ଗତ ୨୪ଘଣ୍ଟାରେ ୨୧ହଜାର ୨୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୧ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨୪ହଜାର ୯୬୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୮ଲକ୍ଷ ୯୩ହଜାର ୧୩୮କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୦ହଜାର ୧୨୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୨ଲକ୍ଷ ୨୫ହଜାର ୨୨୧ଜଣ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୪୦ହଜାର ୨୨୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ବିଗତ ୨୦୫ ଦିନ ମଧ୍ୟରେ ଏହା ସର୍ବନିମ୍ନ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୩.୧୭ କୋଟିରୁ ଅଧିକ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩,୪୬,୧୭୬ ଟିକା ଦିଆଯାଇଛି।
