ଦେଶରେ ଆଉ ୧୮,୧୬୬ କରୋନା ସଂକ୍ରମିତ ଚିହ୍ନଟ ଓ ୨୧୪ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୯୯%କୁ ବୃଦ୍ଧିପାଇଛି।
ରବିବାର ଗତ ୨୪ଘଣ୍ଟାରେ ୧୮ହଜାର ୧୬୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୪ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨୩ହଜାର ୬୨୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୯ଲକ୍ଷ ୫୩ହଜାର ୪୭୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୦ହଜାର ୫୮୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୨ଲକ୍ଷ ୭୧ହଜାର ୯୧୫ ଜଣ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୩୦ହଜାର ୯୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ବିଗତ ୨୦୬ ଦିନ ମଧ୍ୟରେ ଏହା ସର୍ବନିମ୍ନ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୪,୭୦,୧୦,୧୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୬,୮୫,୪୧୫ ଟିକା ପ୍ରଦାନ କରାଯାଇଛି ।
