ଦେଶରେ ଆଉ ୧୫,୯୦୬ କରୋନା ସଂକ୍ରମିତ ଚିହ୍ନଟ ଓ ୫୬୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ସହିତ ମୃତ୍ୟୁସଂଖ୍ୟାରେ ହଠାତ ବଡଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି । ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ କିଛି ଅଧିକ ଅଛି।
ରବିବାର ଗତ ୨୪ଘଣ୍ଟାରେ ୧୫ହଜାର ୯୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୬୧ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୬ହଜାର ୪୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୧ଲକ୍ଷ ୭୫ହଜାର ୪୬୮କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୪ହଜାର ୨୬୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୫ଲକ୍ଷ ୪୮ହଜାର ୬୦୫ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୭୨ହଜାର ୫୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦୨.୧୦ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୩ ତାରିଖ ସୁଦ୍ଧା ସମୁଦାୟ ୫୯,୯୭,୭୧,୩୨୦ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୩,୪୦,୧୫୮ଟି ନମୁନା।
