ଦେଶରେ ଆଉ ୧୪,୩୦୬ କରୋନା ସଂକ୍ରମିତ ଚିହ୍ନଟ ଓ ୪୪୩ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ସହିତ ମୃତ୍ୟୁସଂଖ୍ୟାରେ ହଠାତ ବଡଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି । ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ଦୈନିକ ସଂକ୍ରମଣ ହାର ୧.୪୩% ଓ ସାପ୍ତାହିକ ହାର ୧.୨୪% ରହିଛି । ଅନ୍ୟପକ୍ଷରେ କରୋନାରୁ ଆରୋଗ୍ୟ ହାର ୯୮.୧୮% ହୋଇଥିବା ଜଣାଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ସୋମବାର ଗତ ୨୪ଘଣ୍ଟାରେ ୧୪ହଜାର ୩୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୩ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୮ହଜାର ୭୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୧ଲକ୍ଷ ୮୯ହଜାର ୭୭୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୪ହଜାର ୭୧୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୫ଲକ୍ଷ ୬୭ହଜାର ୩୬୭ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୬୭ହଜାର ୬୯୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ୨୩୯ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୨,୨୭,୧୨,୮୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୧୨,୩୦,୭୨୦ ଡୋଜ୍ ଟିକା। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୪ ତାରିଖ ସୁଦ୍ଧା ସମୁଦାୟ ୬୦,୦୭,୬୯,୭୧୭ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୯,୯୮,୩୯୭ଟି ନମୁନା।
