ଦେଶରେ ଆଉ ୧୨,୭୨୯ କରୋନା ସଂକ୍ରମିତ ଚିହ୍ନଟ ଓ ୨୨୧ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୧୦ରୁ ୨୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ କରୋନା ସଂକ୍ରମଣ ୧୨ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨୦୦ରୁ ସାମାନ୍ୟ ଅଧିକ ଅଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଶୁକ୍ରବାର ଗତ ୨୪ଘଣ୍ଟାରେ ୧୨ହଜାର ୭୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୨୧ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୨ହଜାର ୧୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୭ଲକ୍ଷ ୨୪ହଜାର ୯୫୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୯ହଜାର ୮୭୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୬ଲକ୍ଷ ୬୮ହଜାର ୫୬୦ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୪୮ହଜାର ୯୨୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୭୦,୪୬,୧୧୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭,୩୧,୬୭୬ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୪ ତାରିଖ ସୁଦ୍ଧା ସମୁଦାୟ ୬୧,୩୦,୧୭,୬୧୪ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୬,୭୦,୮୪୭ଟି ନମୁନା।
