ଦେଶରେ ଆଉ ୧୦,୯୨୯ କରୋନା ସଂକ୍ରମିତ ଚିହ୍ନଟ ଓ ୩୯୨ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୧୦ରୁ ୨୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ ପାଖାପାଖି ରହିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଶନିବାର ଗତ ୨୪ଘଣ୍ଟାରେ ୧୦ହଜାର ୯୨୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯୨ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୦ହଜାର ୯୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୩ଲକ୍ଷ ୪୪ହଜାର ୬୮୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୬୦ହଜାର ୨୬୫ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୭ଲକ୍ଷ ୩୭ହଜାର ୪୬୮ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୪୬ହଜାର ୯୫୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୭,୯୨,୧୯,୫୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୨୧,୭୩,୪୩୦ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ନଭେମ୍ବର ୫ ତାରିଖ ସୁଦ୍ଧା ସମୁଦାୟ ୬୧,୩୯,୬୫,୭୫୧ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୮,୧୦,୭୮୩ଟି ନମୁନା।
