ଦେଶରେ ଆଉ ୮,୬୦୩ କରୋନା ସଂକ୍ରମିତ ଚିହ୍ନଟ ଓ ୪୧୫ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣିଥରେ ହ୍ରାସ ରେକର୍ଡ କରାଯାଉଛି । ସେପଟେ ଦେଶରେ ମୃତ୍ୟୁ ମାମଲା ମଧ୍ୟ ବୃଦ୍ଧି ଘଟିଛି । ଶନିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୬୦୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧୫ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୧୯୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶୁକ୍ରବାର ୪,୯୯୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୫୬ ହଜାର ୯୧୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧,୧୨୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୪୬୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୫୦,୪୯୭ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୪,୬୩୭ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୧୫ ହଜାର ୧୪୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୦ ଲକ୍ଷ ୫୩ ହଜାର ୮୫୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୯ ହଜାର ୯୭୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୦ ହଜାର ୫୩୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୩ ପର୍ଯ୍ୟନ୍ତ ସାରା ଦେଶରେ ୧୨୬ କୋଟି ୫୩ ଲକ୍ଷ ୪୪ ହଜାର ୯୭୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩ ଲକ୍ଷ ୬୩ ହଜାର ୭୦୬ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୪ କୋଟି ୬୦ ଲକ୍ଷ ୨୬ ହଜାର ୭୮୬ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୫୨ ହଜାର ୫୯୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
