ଦେଶରେ ଆଉ ୩୯,୩୬୧ କରୋନା ସଂକ୍ରମିତ ଚିହ୍ନଟ ଓ ୪୧୬ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି ।
ସୋମବାର ଗତ ୨୪ଘଣ୍ଟାରେ ୩୯ହଜାର ୩୬୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୮ହଜାର ୦୮୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୪ଲକ୍ଷ ୧ହଜାର ୨୬୨କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୦ହଜାର ୯୬୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୫ଲକ୍ଷ ୭୯ହଜାର ୧୦୬ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୧୧ହଜାର ୧୮୯ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
