ଦେଶରେ ଆଉ ୪୩,୬୫୪ କରୋନା ସଂକ୍ରମିତ ଚିହ୍ନଟ ଓ ୬୪୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି। ଦୈନିକ ସଂକ୍ରମଣ ହରା ୨.୫୧% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୬% ରହିଛି। ମଙ୍ଗଳବାର ସଂଧ୍ୟା ସୁଦ୍ଧା ମୋଟ ୪୬.୦୯ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ସେହିଭଳି ଏହି ସମୟ ମଧ୍ୟରେ ମୋଟ ୪୪.୬୧ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି।
ବୁଧବାର ଗତ ୨୪ଘଣ୍ଟାରେ ୪୩ହଜାର ୬୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୧ହଜାର ୬୭୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୪ଲକ୍ଷ ୮୪ହଜାର ୬୦୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୨ହଜାର ୦୨୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୬ଲକ୍ଷ ୬୩ହଜାର ୧୪୭ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୯୯ହଜାର ୪୩୬ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
