ଦେଶରେ ଆଉ ୩୦,୫୪୯ କରୋନା ସଂକ୍ରମିତ ଚିହ୍ନଟ ଓ ୪୨୨ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । କେରଳ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ଓଡ଼ିଶା ଭଳି ଦଶଟି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ଅଥବା ସ୍ଥିର ଅବସ୍ଥାରେ ରହିବା ସ୍ୱାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇ ଦେଇଛି। ସେହିପରି ଦେଶରେ ସୁସ୍ଥତା ହାର ଦେଶରେ ୯୭.୩୮% ରହିଛି। ଦେଶରେ ଦୈନିକ ସଂକ୍ରମଣ ହାର ୧.୮୫% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୯% ରହିଥିବା ଜଣାଯାଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ମୋଟ ୪୭.୧୨ କୋଟି ନମୁନା ପରୀକ୍ଷା କରାଯାଇଛି। ତାହାସହିତ ଦେଶରେ ୪୭.୮୫ କୋଟି ପାନ ଟିକା ଦିଆଯାଇସାରିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୩୦ହଜାର ୫୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୬ହଜାର ୯୪୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୭ଲକ୍ଷ ୨୬ହଜାର ୫୦୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୨୫ହଜାର ୧୯୫ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୮ଲକ୍ଷ ୯୬ହଜାର ୩୫୪ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୪ହଜାର ୯୫୮ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
