ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩, ଅନୁଗୁଳ,ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୧୬,୮୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୨,୧୨୮ ଜଣ ସୁସ୍ଥ ହୋଇଥିବା ବେଳେ ୬,୯୪୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୧୦୪ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
