ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୦୫୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬ଜଣ ଥିବାବେଳେ ନୟାଗଡ଼ ଜିଲାରୁ ୧୩ଜଣ, କଟକ ଜିଲାରୁ ୧୨ଜଣ, ସମ୍ବଲପୁର ଜିଲାରୁ ୫ଜଣ, ସୋନପୁର ଜିଲାରୁ ୪ଜଣ, ପୁରୀ ଜିଲାରୁ ୨ଜଣ ରହିଛନ୍ତି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୪,୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୭,୧୯୭ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୪୨୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୮୮୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
